ଦଳର ସଂଗଠନକୁ ମଜଭୂତ କରିବାରେ ବିଷ୍ଣୁ ଭାଇଙ୍କ ଭୂମିକା ଅତୁଳନୀୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ବିଜେପିର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ‘‘ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା। ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି। ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ। ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳୀ ଥିଲା ନିଆରା। ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ। ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ। ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି।’’

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ଏହି କଠିନ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

Comments are closed.