ବିଧାନସଭାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭା ପରିସରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଦରିଦ୍ର ଜନତାର ବନ୍ଧୁ, ବନ୍ୟା ପ୍ରପୀଡ଼ିତ ଓଡ଼ିଶାବାସୀଙ୍କ ସମର୍ପିତ ସେବକ, ବିଶିଷ୍ଟ କବି ପଣ୍ଡିତ ଗୋପବନ୍ଧୁ ଓଡ଼ିଶାବାସୀଙ୍କ ହୃଦୟର ମଣିଷ ଥିଲେ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଥିଲେ।
ଉପବାଚସ୍ପତି ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ, ବହୁ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉତ୍କଳର ଏହି ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା।

Comments are closed.