୨୪ଘଣ୍ଟାରେ ଲଘୁଚାପ : ଉପକୂଳ, ଦକ୍ଷିଣରେ ଅଧିକ ବର୍ଷିବ

୫ଦିନ ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ସୋମବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲାରେ ଆସନ୍ତା ୪ରୁ ୫ଦିନ ଧରି ବର୍ଷା ଲାଗିରହିବ। ତେଣୁ ଉପକୂଳବର୍ତ୍ତୀ ପ୍ରାୟ ୧୧ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପରୋକ୍ତ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୪ରୁ ୫ଦିନ ଦିନ ବର୍ଷା ଲାଗିରହିବ।
ଲଘୁଚାପ ପ୍ରଭାବରେ ସୋମବାର ସକାଳ ସୁଦ୍ଧା ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ଆସନ୍ତା ୨୦ତାରିଖ ସକାଳ ସୁଦ୍ଧା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ତାରିଖ ସକାଳୁ ୨୧ ତାରିଖ ସକାଳ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୧ ଓ ୨୨ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ବି​ଶେଷ କରି ୨୧ ତରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୨୨ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜମ, ଗଜପତି, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅାକଳନ କରାଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପଜନିତ ବର୍ଷା ସହିତ ଉପକୂଳରେ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୧୯ରୁ ୨୨ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।
ଲଘୁଚାପ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କ ସହିତ ଜଳସମ୍ପଦ ବିଭାଗର ଯନ୍ତ୍ରୀ ଓ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ସୋମବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ୨୧ରେ କାକିନଡ଼ା ଓ ମଛଲିପଟନମ ମଧ୍ୟସ୍ଥଳ ଛୁଇଁବା ସହିତ ୨୨ରେ ଓଡ଼ିଶା ଉପକୂଳ ଓ ଆନ୍ଧ୍ର ଉପକୂଳ ନିକଟରେ ବଙ୍ଗୋପସାଗରର ଉତ୍ତର-ଦକ୍ଷିଣ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ୨୪ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ ଏବଂ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ।

Comments are closed.