ମନୋଜ ଦାସଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର କେନ୍ଦ୍ରୀୟ ଡାକ୍ତରୀ ଟିମ୍‍

ଭୁବନେଶ୍ୱର: ପ୍ରଖ୍ୟାତ ସାରସ୍ୱତ ସାଧକ ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ଚିକିତ୍ସାରେ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଇଛି। ପୁଡୁଚେରୀସ୍ଥିତ ଜବାହରଲାଲ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ପୋଷ୍ଟ ଗ୍ରାଜୁଏଟ୍‍ ମେଡିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଶ୍ରୀ ଦାସଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ଶ୍ରୀଅରବିନ୍ଦ ଆଶ୍ରମ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଏହି ପଦକ୍ଷେପ ନିମନ୍ତେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନାଯୋଗ୍ୟ, ଶ୍ରୀ ଦାସଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବା ନିମନ୍ତେ ଶ୍ରୀ ଷଡ଼ଙ୍ଗୀ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ଦାସଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦିଆଯିବ ବୋଲି କିଛି ଦିନ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲେ। ଏନେଇ ମଧ୍ୟ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଛି। ଶ୍ରୀ ଦାସ ଏବେ ପୁଡୁଚେରୀସ୍ଥିତ ଶ୍ରୀଅରବିନ୍ଦ ଆଶ୍ରମ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି। ଓଡ଼ିଶା ସମେତ ରାଜ୍ୟ ବାହାରେ ଥିବା ବହୁ ସାରସ୍ୱତ ସାଧକ, ପାଠକ, ପ୍ରକାଶକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.