MEllora 950×100

ପରୀକ୍ଷା ପେ ଚର୍ଚ୍ଚା-୨୦୨୩, ଭାଗ ନେବେ ୧୬ ଲକ୍ଷ ପିଲା

ନୂଆଦିଲ୍ଲୀ: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀର ତାଳକଟୋରା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ୧୬ ଲକ୍ଷ ପିଲା ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ପ୍ରଥମ ଥର ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଶିକ୍ଷା ବୋର୍ଡ ପିଲା ଭାଗନେବେ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ମଙ୍ଗଳବାର ଏଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଜନଆନ୍ଦୋଳନରେ ପରିଣତ ହୋଇସାରିଛି। ପ୍ରଧାନମନ୍ତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କ ପ୍ରଶ୍ନତ୍ତୋର ଓ ଆଲୋଚନା କାର୍ଯ୍ୟକ୍ରମ ଜୀବନ ପ୍ରତି ଏକ ନୂଆ ଦୃଷ୍ଟିକୋଣ। ଏହା ଧୀରେ ଧୀରେ ବିଦ୍ୟାର୍ଥୀ ମାନଙ୍କ ମଧ୍ୟରେ ଆଲୋଚନା ଓ ଆସ୍ଥାର ବିଷୟ ହେବା ସହ ସେମାନଙ୍କର ଆତ୍ମବିଶ୍ୱାସ ବଢାଉଛି। ଚଳିତବର୍ଷ ପରୀକ୍ଷା ପେ ଚର୍ଚ୍ଚା ପାଇଁ ମୋଟ ୩୮ ଲକ୍ଷ ପରୀକ୍ଷାର୍ଥୀ ପଞ୍ଜୀକରଣ କରାଇଛନ୍ତି। ଗତ ବର୍ଷ ତୁଳନାରେ ଏହି ସଂଖ୍ୟା ୧୫ ଲକ୍ଷ ୭୩ ହଜାର ଅଧିକ। ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସମସ୍ତ ରାଜ୍ୟର ପ୍ରତିନିଧି ଭାବେ ସାରା ଦେଶର ୧୦୨ ଜଣ ବିଦ୍ୟାର୍ଥୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏହା ବ୍ୟତୀତ କିଛି ଦିନ ପୂର୍ବରୁ ଭାରତ ସରକାରଙ୍କ ଏନସିଇଆରଟି ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ କଳା ଉତ୍ସବର ୮୦ ଜଣ ଶ୍ରେଷ୍ଠ ବିଜେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

Comments are closed.