ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ, ରାଉରକେଲାରେ ଆନ୍ତର୍ଜାତୀୟ ମାନର ହକି ଷ୍ଟାଡିୟମ୍‍ର ଶିଳାନ୍ୟାସ

ଷ୍ଟାଡିୟମକୁ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଇ ଜିଲ୍ଲା ପାଇଁ ୪୯୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ରାଉରକେଲା ଠାରେ ୨୦୨୩ପୁରୁଷ ବିଶ୍ବକପ୍‌ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ସେଠାରେ ଆନ୍ତର୍ଜାତୀୟ ମାନର ଷ୍ଟାଡିୟମ୍‍ର ଶିଳାନ୍ୟାସ କରିଛନ୍ତି। ଏହି ନୂତନ ଷ୍ଟାଡିୟମ୍‍କୁ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରାଗଲା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଷ୍ଟାଡିୟମ୍‍ ଦେଶର ସବୁଠାରୁ ବଡ଼ ହକି ଷ୍ଟାଡିୟମ୍‍ ହେବ। ଏହି ଷ୍ଟାଡିୟମ୍‍ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଉରକେଲା ସହିତ ବିଜୁବାବୁଙ୍କର ସଂପର୍କ ବିଷୟ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଉରକେଲାର ଷ୍ଟିଲ ପ୍ଲାଣ୍ଟଠାରୁ ଆରମ୍ଭ କରି ଏନ୍‍ଆଇଟି ପର୍ୟ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି। ରାଉରକେଲାକୁ ଆଶାର ସହର ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି।

ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା’ ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ବାଲିଶଂକରାର ଜୟନ୍ତୀ ଏକ୍କା କିପରି ଭୁବନେଶ୍ବରର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ତାଙ୍କର ଉଦ୍‌ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ସେ ବିଷୟ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଜୟନ୍ତୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ।

ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ୪୯୧୫ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରର ନମୂନା ତଥା ବିକାଶର ନମୂନା ଭାବରେ ବର୍ଣ୍ଣନା କରିବା ସହିତ ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ୟ୍ୟକ୍ରମରେ ବହୁ ମନ୍ତ୍ରୀ, ସାଂସଦ, ବିଧାୟକ ଯୋଗ ଦେଇଥିଲେ। ବିଶିଷ୍ଟ ହକି ତାରକା ଦିଲ୍ଲୀପ ତୀର୍କୀ ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.