୩୦ ଯାଏ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ୩୦ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

ଆଗାମୀ ୩ରୁ ୪ଦିନ ମଧ୍ୟରେ ପଶ୍ଚିମଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାକୁ ଥିବାବେଳେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଜିଲାଗୁଡିକର ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶା ଜିଲାଗୁଡିକର ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନୁଗୋଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଝଡ଼ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ତେଣୁ ଉତ୍ତର ବଙ୍ଗୋପସାଗର ଏବଂ ଉପକୂଳ ଓଡ଼ିଶା ତଥା ତା’ର ଆଖାପାଖ ଅଞ୍ଚଳ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ନ କରିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ତଳିଆ ଅଞ୍ଚଳରେ ଜଳମଗ୍ନ ଏବଂ ବନ୍ୟା ପରିସ୍ଥିତି ଉପୁଜିପାରେ। ଏଥିପ୍ରତି ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ(ଏସଆରସି) ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କୁ ପରାମର୍ଶ ଦେଇଛନ୍ତି।

Comments are closed.