ପହିଲାରୁ ଦୁଇଦିନ ବର୍ଷା

ଭୁବନେଶ୍ବର :  ଅକ୍ଟୋବର ପହିଲାରୁ ଉତ୍ତର-ଉପକୂଳ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବାବେଳେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ସମୟରେ ଉପକୂଳ ଜିଲାଗୁଡ଼ିକରେ ବର୍ଷା ପରିମାଣ ବୃଦ୍ଧି ପାଇବ। ବୁଧବାର ବାରିପଦା, ମାଲକାନଗିରି, ସୁବର୍ଣ୍ଣପୁର, ଦାରିଙ୍ଗବାଡି ଏବଂ ବୌଦ୍ଧ ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ଆନ୍ଧ୍ରପ୍ରଦେଶ ଉପକୂଳ ପର୍ଯ୍ୟନ୍ତ ସମୁଦ୍ରପତ୍ତନରୁ ବାୟୁମଣ୍ଡଳ ୧.୫କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେଉଛି। ଅନ୍ୟପକ୍ଷରେ ଅକ୍ଟୋବର ପହିଲା ବେଳକୁ ଉତ୍ତର-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ତାହା ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ। କିନ୍ତୁ ଏହାଦ୍ବାରା ଆସନ୍ତା ୧ରୁ ବର୍ଷା ପରିମାଣ ବୃଦ୍ଧି ପାଇବା ସହ ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଆସନ୍ତା ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜର କିଛି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପଟେ କୋରାପୁଟ, ଗଜପତି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ତିନି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.