ଶ୍ରୀରାମଚନ୍ଦ୍ରଭଞ୍ଜ ମେଡ଼ିକାଲ୍ କଲେଜର ନବକଳେବର ପାଇଁ ୩୫୦୦ କୋଟି ଟଙ୍କାର ପ୍ରକଳ୍ପ, ଲକ୍ଷ୍ୟ ଏମ୍ସ ପ୍ଲସ ଓ ବିଶ୍ବସ୍ତରୀୟ ଚିକିତ୍ସା ସୁବିଧା
ସରକାରୀ ସ୍ତରରେ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ପାଇଁ ଦେଶର ସର୍ବ ବୃହତ୍ ପ୍ରକଳ୍ପ

ଭୁବନେଶ୍ବର: ଶ୍ରୀରାମଚନ୍ଦ୍ରଭଞ୍ଜ ମେଡ଼ିକାଲ କଲେଜ ହେଉଛି ଓଡିଶାବାସୀଙ୍କର ଭରସାର କେନ୍ଦ୍ର। ସ୍ବାସ୍ଥ୍ୟ ସେବା ପାଇଁ ଓଡିଶାବାସୀଙ୍କର ବିଶ୍ବାସର କେନ୍ଦ୍ର କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡ଼ିକାଲ କଲେଜର ନବକଳେବର ହେବ। ଏଥିପାଇଁ ୩୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ସମ୍ମାଜଜନକ ଅନୁଷ୍ଠାନକୁ ଏକ ବିଶ୍ବସ୍ତରୀୟ ଚିକିତ୍ସା ଅନୁଷ୍ଠାନ ଭାବରେ ବିକଶିତ କରିବା ଲକ୍ଷ୍ୟ ମନଇ ଏହି ପ୍ରକଳ୍ପ ୫-ଟି କାର୍ଯ୍ୟକ୍ରମ ଅଧୀନରେ କାର୍ଯ୍ୟକାରୀ କରାଯିବ। ସାଧାରଣ ଲୋକଙ୍କୁ ମିଳିବ ଉନ୍ନତ ଚିକିତ୍ସା ସେବା। ଲକ୍ଷ୍ୟ ରହିଛି ଏମ୍ସ ପ୍ଲସ୍ ଅର୍ଥାତ୍ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ୍)ଭଳି ଏଠାରେ ଚିକିତ୍ସା ସେବା ମିଳିପାରିବ। ଏହି ଯୋଜନାରେ ଭିତ୍ତିଭୂମିର ବିକାଶ ସହିତ ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ଅଣାଯିବ, ଯାହା ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର। ୨୦୨୧ରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ନୂଆ ଯୁଗର ସଂକେତ ଦେଉଛି। ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ସରକାରୀ ସ୍ତରରେ ଏହା ଦେଶର ସର୍ବ ବୃହତ ପ୍ରକଳ୍ପ। ୫୦୦୦ ଶଯ୍ୟା ସହିତ ଡାକ୍ତର, ରୋଗୀ ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଏଠାରେ ଉପଲବ୍ଧ ହେବ।
୧୯୪୪ ମସିହାରେ ସ୍ଥାପିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ୍ ଦୀର୍ଘ ଦିନ ଧରି ଓଡିଶା ସମେତ ପୂର୍ବ ଭାରତର ବିଭିନ୍ନ ରାଜ୍ୟର ଲୋକମାନଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବାରେ ସୁନାମ ରହିଛି। ଏଠାରେ ପଢିଥିବା ଡାକ୍ତରମାନେ ସାରା ପୃଥିବୀରେ ସେମାନଙ୍କର ଦକ୍ଷତା ଦ୍ବାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ଦେଶରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ଏହି ମର୍ଯ୍ୟାଦାଜନକ ଅନୁଷ୍ଠାନକୁ ଏକ ବିଶବସ୍ତରୀୟ ଚିକିତ୍ସା କେନ୍ଦ୍ରରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଚିକିତ୍ସା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଆରମ୍ଭ ହେବାକୁ ଥିବା ଏହି ପ୍ରକଳ୍ପ ରୋଗୀମାନଙ୍କୁ ସୁଲଭ ତଥା ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବାରେ ଏକ ଉଦାହରଣ ହୋଇ ରହିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଜନସାଧାରଣ ସୁଲଭ ତଥା ଉଚ୍ଚ ଗୁଣାତ୍ମକମାନର ସ୍ବାସ୍ଥ୍ୟ ସେବା ପାଆନ୍ତୁ। ଲକ୍ଷ୍ୟ ରହିଛି ଓଡିଶାର ଲୋକ ଏହିଠାରେ ହିଁ ଉନ୍ନତ ଚିକିତ୍ସା ପାଇପାରିବେ। ବହୁ ଓଡିଆ ଡାକ୍ତର ଦେଶବିଦେଶରେ ଚିକିତ୍ସା ସେବା ଯୋଗାଇ ସୁନାମ କରିଛନ୍ତି। ସେମାନେ ଯେପରି ସେମାନଙ୍କ ଜନ୍ମ ମାଟିରେ ସେମାନଙ୍କ ଦକ୍ଷତାକୁ ଓଡ଼ିଶାବାସୀଙ୍କ ସେବାରେ ଲଗାଇ ପାରିବେ, ସେଥିପାଇଁ ମଧ୍ୟଏକ ଉତ୍ତମ ପରିବେଶ ସୃଷ୍ଟି କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ହି ପ୍ରକଳ୍ପକୁ ସେ ନିଜେ ବ୍ୟକ୍ତିଗତ ଭାବରେ ତଦାରଖ କରୁଛନ୍ତି। ସମସ୍ତଙ୍କର ସହଯୋଗରେ ଏହି ଅନୁଷ୍ଠାନ ଦିନେ ଦେଶର ଶ୍ରେଷ୍ଠ ୩ଟି ଚିକିତ୍ସା ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇବାରେ ଫଳ ହେବ ବୋଲି ଆଶା ବ୍ୟକ୍ତ କରିଥିଲେ।
୧୭୫ ଏକର ଜମିରେ ବିକଶିତ ହେବାକୁ ଥିବା ଏକ ମର୍ଯ୍ୟାଦାଜନକ ପ୍ରକଳ୍ପରେ ପ୍ରଥମ ପର୍ଯ୍ୟାୟରେ ଶଯ୍ୟା ସଂଖ୍ୟା ୩୫୦୦ କରାଯିବ ଏବଂ ଦ୍ବିତୀ ପର୍ଯ୍ୟାୟରେ ଏହାକୁ ୫୦୦୦କୁ ବୃଦ୍ଧି କରାଯିବ। ୩ ବର୍ଷରେ ସମ୍ପୂର୍ଣ୍ଣ ହେବାକୁ ଥିବା ଏହି ପ୍ରକଳ୍ପରେ ଡାକ୍ତର, ରୋଗୀ, ରୋଗୀଙ୍କ ସହାୟକ, ସ୍ବାସ୍ଥ୍ୟ କର୍ମଚାରୀ ସମସ୍ତଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ଅତ୍ୟାଧୁନିକ ଚିକିତ୍ସା ଉପକରଣ ସହିତ ପରିହନ ବ୍ୟବସ୍ଥା, ଆଧୁନିକ ରେଷ୍ଟୁରାଣ୍ଟ, ବାଣିଜ୍ୟ କେନ୍ଦ୍ର ଓ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ ସୁବିଧା ଉପଲବ୍ଧ ହେବ। ଏଥିରେ ୧୨୮୦ଟି ସରକାରୀ ବାସଗୃହ ନିର୍ମିତ ହେବା ସହିତ ଛାତ୍ରାବାସରେ ଅଧିକ ୨୨୦୦ଜଣ ଛାତ୍ରଛାତ୍ରୀ ରହିବାର ବ୍ୟବସ୍ଥା କରାଯିବ। ଏହି ହସ୍ପିଟାଲ୍ର ଉନ୍ନତି ସହିତ କ୍ରୀକ୍ଷା ଓ ମନୋରଞ୍ଜନ ପାଇଁ ମଧ୍ୟ ଉତ୍ତମ ପରିବେଶ ସୃଷ୍ଟି କରାଯିବ।
ଏହି ମେଡ଼ିକାଲ୍ କଲେଜ ହସ୍ପିଟାଲ୍ର ସୁପରିଚାଳନା ପାଇଁ ଏକ ସ୍ବାଧୀନ ପରିଚାଳନା ମଣ୍ଡଳୀ ରହିବ, ଯାହାକି ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ସହିତ ଚିକିତ୍ସା, ଶିକ୍ଷା ଓ ଗବେଷଣାର ମାନ ବୃଦ୍ଧି ପାଇଁ କାମ କରିବ। ଏହି ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଳେ। ପୂର୍ତ୍ତ ସଚିବ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧ ଜାନୁଆରୀ ୨୦୨୪ରେ ଏହା ଉଦ୍ଘାଟନ କରିବା ପାଇଁ ଯୋଜନା ରଖିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।